Spread the love

ଭୁବନେଶ୍ୱର: ରାଜ୍ୟରେ ସଂପ୍ରତି ଅସହ୍ୟ ଗ୍ରୀଷ୍ମପ୍ରବାହ ଓ ଗୁଳୁଗୁଳି ଜାରି ରହିଛି। ଏହି ସ୍ଥିତି ଆଗକୁ ଆହୁରି କିଛିଦିନ ପାଇଁ ଜାରି ରହିବ। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଦିନର ତାପମାତ୍ରାରେ ବିଶେଷ କୌଣସି ପରିବର୍ତ୍ତନର ସମ୍ଭାବନା ନଥିବା ବେଳେ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାପମାତ୍ରା ୪୨ ଡିଗ୍ରି ଉପରେ ରହିବ। ବିଶେଷ କରି ପଶ୍ଚିମ ଓଡ଼ିଶାର ସୁନ୍ଦରଗଡ଼, ସମ୍ବଲପୁର, ଅନୁଗୁଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର, ଝାରସୁଗୁଡ଼ା ଓ ବରଗଡ଼ ଆଦି ଅଞ୍ଚଳରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ଅଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏଥିସହ ଆସନ୍ତା ୪ ଦିନ ରାଜ୍ୟର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ କାଳବେଶାଖୀ ବର୍ଷା ହୋଇପାରେ।
ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ୨୩ ତାରିଖ ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା ଓଡ଼ିଶାର କିଛି ଜିଲ୍ଲାରେ ଘଣ୍ଟା ପ୍ରତି ୩୦- ୪୦ରୁ ଆରମ୍ଭ ହୋଇ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ ବଜ୍ରପାତ, ଘଡ଼ଘଡ଼ି ସହ ଘୂର୍ଣ୍ଣିଝଡ଼ ବା କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି।
ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଏକ ସତର୍କ ସୂଚନା ଅନୁଯାୟୀ ଏହି ସମୟ ମଧ୍ୟରେ ଉତ୍ତର ଓଡ଼ିଶାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ବଜ୍ରପାତ ସହ କାଳବୈଶାଖୀ ଓ ବର୍ଷା ହେବାର ସମ୍ଭାବନା ରହିଛି।
ସେହିପରି ଏହି ସମୟ ମଧ୍ୟରେ ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ଗଞ୍ଜାମ, ଗଜପତି. ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ ବଜ୍ରପାତ, ଘଡ଼ଘଡ଼ି ସହ ଘୂର୍ଣ୍ଣିଝଡ଼ ବା କାଳବୈଶାଖୀ ହେବାର ସମ୍ଭାବନା ରହିଛି।

ଏଥିସହ ଓଡ଼ିଶାର ଅନ୍ୟ ଜିଲ୍ଲାରେ ମଧ୍ୟ ବଜ୍ରପାତ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଜାରି ସତର୍କ ସୂଚନାରେ କୁହାଯାଇଛି। ଏପରିସ୍ଥିତିରେ ୟେଲୋ ଓ୍ଵାର୍ଣ୍ଣିଂ ଜାରି ସହ ବଜ୍ରପାତ ସମୟରେ ଲୋକଙ୍କୁ ପାଣିପାଗ ଉପରେ ନଜର ରଖିବା ସହ ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି।

Leave a Reply

Your email address will not be published. Required fields are marked *