
ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ, ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି । ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍କୃତ ଦିଗ୍ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତାର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡିଶା ନବୀନ ଓଡିଶା ।
ଏହି ଅବସରରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ସବୁ ଗାଁର ବିକାଶ ଆମର ଲକ୍ଷ୍ୟ। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ। ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ବାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ। ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗାଁ ରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ । ଗାଁ ରେ ଇଣ୍ଟରନେଟ ସଂଯୋଗ ମିଳିବ, ବିଜ୍ଞାନ ପାର୍କ, ଦକ୍ଷତା ବିକାଶ କେନ୍ଦ୍ର, ଓ୍ବାର୍କସ ହବ୍, ବ୍ୟାଙ୍କିଙ୍ଗ ହେବ । ଏହି କାର୍ଯ୍ୟକ୍ରମରେ ଗାଁର ପ୍ରାଇମେରୀ ସ୍କୁଲଗୁଡିକ ମଧ୍ୟ ସାମିଲ ହେବ।
ଆଜିର କାର୍ଯ୍ୟକ୍ରମ ପାଇଁ ମୟୂରଭଂଜ ଜିଲ୍ଲାର ୫ଟି, ବରଗଡ ଜିଲ୍ଲାର ୫ଟି ଓ ଦେବଗଡ ଜିଲ୍ଲାର ଗୋଟିଏ ର୍ନିବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା।
ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ଶ୍ରୀ ସୁଦାମ ମାଣ୍ଡି, ମନ୍ତ୍ରୀ ଶ୍ରୀମତୀ ରୀତା ସାହୁ, ସାଂସଦ ଶ୍ରୀମତୀ ମମତା ମହନ୍ତ, ବିଧାୟକ ଶ୍ରୀ ରାଜକିଶୋର ଦାସ, ବିଧାୟକ ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ, ବିଧାୟକ ଶ୍ରୀ ଦେବେଶ ଆଚାର୍ଯ୍ୟ, ବିଧାୟକ ଶ୍ରୀମତୀ ବର୍ଷା ସିଂ ବରିହା, ଜିଲାପରିଷଦ ସଭାପତି, ସଦସ୍ୟଗଣ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆଭାସୀ ମାଧ୍ୟମରେ ଆଲୋଚନାରେ ଭାଗ ନେଇ ଗାଁ ଗାଁ ରେ ବିକାଶର ନୂଆ ଯୁଗ ଆସିଛି ବୋଲି ମତପ୍ରକାଶ କରିଥିଲେ ।